2 Thessalonians 1 in Oriya

1 ପାଉଲ, ସିଲ୍ୱାନ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ;

2 ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

3 ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,

4 ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଇଶ୍ବରଙ୍କ ମଣ୍ଡଳୀସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।

5 ଇଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଇଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,

6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,

7 ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କଷ୍ଟ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଇଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;

8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,

9 ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ ),

10 ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ପାଖରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।

11 ଏଣୁ ଆମ୍ଭମାନଙ୍କ ଈଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ;

12 ତାହାହେଲେ ଆମ୍ଭମାନଙ୍କ ଈଶ୍ୱର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ।