Genesis 5 in Oriya

1 ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;

2 ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।

3 ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।

4 ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ।

5 ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।

6 ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;

7 ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।

8 ଶେଥର ବୟସ ସର୍ବସୁଦ୍ଧା ନଅଶହ ବାର ବର୍ଷ ଥିଲା; ତହୁଁ ସେ ମଲା।

9 ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା;

10 ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

11 ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା।

12 କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା;

13 ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;

14 ଆଉ କୟିନାନର ବୟସ ସର୍ବସୁଦ୍ଧା ନଅଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା।

15 ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;

16 ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

17 ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।

18 ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;

19 ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

20 ଯେରଦର ବୟସ ସର୍ବସୁଦ୍ଧା ନଅଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।

21 ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;

22 ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;

23 ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା;

24 ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।

25 ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା;

26 ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

27 ମଥୂଶେଲହର ବୟସ ସର୍ବସୁଦ୍ଧା ନଅଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।

28 ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ,

29 ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।

30 ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;

31 ତାଙ୍କର ବୟସ ସର୍ବସୁଦ୍ଧା ସାତଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ।

32 ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍‍କୁ ଜାତ କଲେ।