Job 17 in Oriya

1 ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋ' ନିମନ୍ତେ କବର ପ୍ରସ୍ତୁତ ଅଛି।

2 ନିଶ୍ଚୟ ପରିହାସକମାନେ ମୋ' ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋ' ଚକ୍ଷୁଗୋଚରରେ ଅଛି।

3 ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋ' ପାଇଁ ଲଗା ହୁଏ; ଆଉ କିଏ ମୋ' ହାତରେ ହାତ ଦେବ ?

4 କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ।

5 ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ।

6 ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି।

7 ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି।

8 ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ।

9 ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।

10 ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ।

11 ମୋହର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍‍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା।

12 ସେମାନେ ରାତ୍ରିକି ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି।

13 ଯେବେ ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯେବେ ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି;

14 ଯେବେ ମୁଁ କ୍ଷୟକୁ କହିଅଛି, ତୁମ୍ଭେ ମୋହର ପିତା; କୀଟକୁ କହିଅଛି, ତୁମ୍ଭେ ମୋହର ମାତା ଓ ଭଗିନୀ;

15 ତେବେ ମୋହର ଭରସା କାହିଁ ? ଓ ମୋହର ଭରସା କିଏ ଦେଖିବ ?

16 ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ଧୂଳିରେ ବିଶ୍ରାମ ହେବ।