Job 22 in Oriya

1 ଏଥିଉତ୍ତାରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା,

2 “ମନୁଷ୍ୟ କ'ଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ।

3 ତୁମ୍ଭେ ଯେ ଧାର୍ମିକ ଅଟ, ଏହା କ'ଣ ସର୍ବଶକ୍ତିମାନଙ୍କ ସୁଖର କାରଣ ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କ'ଣ ତାହାଙ୍କ ପ୍ରତି ଲାଭଜନକ ?

4 ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କ'ଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି ?

5 ତୁମ୍ଭର ଦୁଷ୍ଟତା କ'ଣ ବଡ଼ ନୁହେଁ ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ।

6 ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।

7 ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ।

8 ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା।

9 ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି।

10 ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି।

11 ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି।

12 ପରମେଶ୍ୱର କ'ଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି ? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ !

13 ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କ'ଣ ଜାଣନ୍ତି ?' ସେ ନିବିଡ଼ ଅନ୍ଧକାର ଦେଇ କ'ଣ ବିଚାର କରିପାରନ୍ତି ?

14 ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ଡଳରେ ଗମନାଗମନ କରନ୍ତି।

15 ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି, ତୁମ୍ଭେ କ'ଣ ସେହି ପୁରାତନ ପଥ ଧରିବ ?

16 ସେମାନେ ଅକାଳରେ ଛିଣ୍ଡାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା;

17 ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ ଓ ସର୍ବଶକ୍ତିମାନ ଆମ୍ଭମାନଙ୍କ ପାଇଁ କ'ଣ କରି ପାରନ୍ତି ?'

18 ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ।

19 ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତି ଓ ନିର୍ଦ୍ଦୋଷ ଲୋକ ସେମାନଙ୍କୁ ପରିହାସ କରି କହନ୍ତି,

20 ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି।

21 ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ।

22 ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର।

23 ଯେବେ ତୁମ୍ଭେ ସର୍ବଶକ୍ତିମାନଙ୍କ ପ୍ରତି ଫେରିବ, ଯେବେ ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ।

24 ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇ ଦିଅ;

25 ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ୱରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ୱରୂପ ହେବେ।

26 କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ।

27 ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ।

28 ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ।

29 ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ ଓ ସେ ନମ୍ର ଲୋକକୁ ରକ୍ଷା କରିବେ।

30 ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ୱାରା ସେ ଉଦ୍ଧାର ପାଇବ।”