Job 23 in Oriya

1 ଏଥିରେ ଆୟୁବ ଉତ୍ତର କରି କହିଲା, “ଆଜି ମଧ୍ୟ ମୋହର ବିଳାପ ବିଦ୍ରୋହଭାବ-ବିଶିଷ୍ଟ;

2 ମୋହର ଅଭିଯୋଗ ଅପେକ୍ଷା ମୋହର ପୀଡ଼ା ଭାରୀ।

3 ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ଯେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି !

4 ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି ଓ ଯୁକ୍ତିରେ ଆପଣା ମୁଖ ପୂର୍ଣ୍ଣ କରନ୍ତି।

5 ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି।

6 ସେ କ'ଣ ଆପଣା ମହାପରାକ୍ରମରେ ମୋ' ସଙ୍ଗେ ବିରୋଧ କରିବେ ? ନା; ମାତ୍ର ସେ ମୋ' ପ୍ରତି ମନୋଯୋଗ କରିବେ।

7 ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ, ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି।

8 ଦେଖ, ମୁଁ ଆଗକୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି ଓ ପଛକୁ ଯାଏ, ମାତ୍ର ତାହାଙ୍କୁ ଦେଖି ନ ପାରେ;

9 ସେ କାର୍ଯ୍ୟ କଲା ବେଳେ ଉତ୍ତର ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ; ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ।

10 ମାତ୍ର ମୁଁ ଯେଉଁ ପଥ ଅବଲମ୍ବନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି।

11 ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ।

12 ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି।

13 ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।

14 କାରଣ ମୋ' ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି।

15 ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି; ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି।

16 କାରଣ ପରମେଶ୍ୱର ମୋ' ହୃଦୟକୁ କ୍ଷୀଣ କରିଅଛନ୍ତି ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି;

17 ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି, କିଅବା ସେ ମୋ' ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ।