Job 24 in Oriya

1 କାହିଁକି ସର୍ବଶକ୍ତିମାନଙ୍କ ଦ୍ୱାରା ସମୟ ନିରୂପିତ ହୋଇ ନାହିଁ ଓ ତାହାଙ୍କୁ ଜାଣିବା ଲୋକମାନେ କାହିଁକି ତାହାଙ୍କ ଦିନ ଦେଖନ୍ତି ନାହିଁ ?

2 କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି, ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି।

3 ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି, ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି।

4 ସେମାନେ ଦୀନହୀନକୁ ବାଟରୁ ତଡ଼ି ଦିଅନ୍ତି; ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି।

5 ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଆପଣା ଆପଣା କାର୍ଯ୍ୟରେ ବାହାରି ଯତ୍ନପୂର୍ବକ ଆହାର ଅନ୍ଵେଷଣ କରନ୍ତି; ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ।

6 ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି ଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି।

7 ସେମାନେ ସାରାରାତ୍ରି ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ।

8 ସେମାନେ ପର୍ବତରେ ବୃଷ୍ଟିରେ ତିନ୍ତନ୍ତି, ପୁଣି ଆଶ୍ରୟ ଅଭାବରୁ ଶୈଳରେ ଶରଣ ନିଅନ୍ତି।

9 କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି ଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି;

10 ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତି ଓ କ୍ଷୁଧିତ ହୋଇ ଶସ୍ୟବିଡ଼ା ବହନ୍ତି;

11 ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି ଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି।

12 ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି, ଆହତ ଲୋକର ପ୍ରାଣ ଡାକ ପକାଏ; ତଥାପି ପରମେଶ୍ୱର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ।

13 ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ; ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ, ଅବା ତହିଁର ପଥରେ ରହନ୍ତି ନାହିଁ।

14 ହତ୍ୟାକାରୀ ପ୍ରଭାତ ସମୟରେ ଉଠି ଦରିଦ୍ର ଓ ଦୀନହୀନକୁ ବଧ କରେ ଓ ରାତ୍ରିରେ ସେ ଚୋର ପରି ହୁଏ।

15 ପାରଦାରିକର ଚକ୍ଷୁ ମଧ୍ୟ ସନ୍ଧ୍ୟାକାଳର ଅପେକ୍ଷା କରି କହେ, କେହି ମୋତେ ଦେଖିବ ନାହିଁ ଓ ସେ ଆପଣା ମୁଖ ଅନ୍ୟ ରୂପ କରେ।

16 ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି; ସେମାନେ ଦିନ ବେଳେ ଲୁଚି ରହନ୍ତି, ସେମାନେ ଆଲୁଅ ଜାଣନ୍ତି ନାହିଁ।

17 କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁୁଛାୟା ପରି ଅଟେ; ସେମାନେ ମୃତ୍ୟୁୁଛାୟାର ଭୟାନକତା ଜାଣନ୍ତି।

18 ସେ ଜଳ ଉପରେ ଶୀଘ୍ରଗାମୀ; ଦେଶରେ ସେମାନଙ୍କ ଅଧିକାର ଅଭିଶପ୍ତ ଅଟେ; ସେ ଦ୍ରାକ୍ଷାକ୍ଷେତ୍ରର ପଥ ଆଡ଼କୁ ଫେରେ ନାହିଁ।

19 ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ, ସେପରି ପାତାଳ ପାପୀମାନଙ୍କୁ ନଷ୍ଟ କରେ।

20 ଗର୍ଭ ତାହାକୁ ପାସୋରି ଯିବ; କୀଟ ସୁସ୍ୱାଦୁ ଭକ୍ଷ୍ୟ ପରି ତାହାକୁ ଖାଇବ, ସେ ଆଉ ସ୍ମରଣ କରାଯିବ ନାହିଁ; ପୁଣି, ଅଧର୍ମ ବୃକ୍ଷ ପରି ଭଙ୍ଗା ଯିବ।

21 ସେ ନିଃସନ୍ତାନା ବନ୍ଧ୍ୟାକୁ ଗ୍ରାସ କରେ ଓ ବିଧବାର ମଙ୍ଗଳ କରେ ନାହିଁ।

22 ସେ ଆପଣା ଶକ୍ତିରେ ବିକ୍ରମୀ ଲୋକକୁ ମଧ୍ୟ ଟାଣି ପକାଏ, ସେ ଉଠିଲେ କାହାରି ଜୀବନର ସ୍ଥିରତା ନ ଥାଏ।

23 ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ।

24 ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି; ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯା'ନ୍ତି, ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯା'ନ୍ତି।

25 ପୁଣି, ବର୍ତ୍ତମାନ ଯେବେ ଏପରି ନ ହୁଏ, ତେବେ କିଏ ଆମ୍ଭକୁ ମିଥ୍ୟାବାଦୀ ବୋଲି ପ୍ରମାଣ କରିବ ଓ ଆମ୍ଭ କଥାକୁ ନିରର୍ଥକ କରିବ ?”