Job 27 in Oriya

1 ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,

2 “ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି;

3 (କାରଣ ଏବେ ହେଁ ମୋର ଜୀବନ ମୋ' ମଧ୍ୟରେ ସୁସ୍ଥ ଅଛି ଓ ମୋ' ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି;) ସେ ଜୀବିତ ଥିବା ପ୍ରମାଣେ,

4 ନିଶ୍ଚୟ ମୋ' ଓଷ୍ଠାଧର ଅଧର୍ମର କଥା କହିବ ନାହିଁ ଓ ମୋହର ଜିହ୍ୱା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ।

5 ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ।

6 ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋ' ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ।

7 ମୋହର ଶତ୍ରୁ ଦୁଷ୍ଟର ପରି ହେଉ ଓ ମୋ' ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ।

8 କାରଣ ଅଧାର୍ମିକ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ ?

9 ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ୱର ତାହାର କ୍ରନ୍ଦନ ଶୁଣିବେ ?

10 ସେ କି ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ? ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ ?

11 ମୁଁ ପରମେଶ୍ୱରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବିନ୍ତ ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ।

12 ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ; ତେବେ କାହିଁକି ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ ?

13 ପରମେଶ୍ୱରଙ୍କ ନିକଟରେ ଦୁଷ୍ଟଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାର ପ୍ରାପ୍ତ ହୁଅନ୍ତି।

14 ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ଼୍‍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ।

15 ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁୁରେ କବରସ୍ଥ ହେବେ ଓ ତାହାର ବିଧବାମାନେ କିଛି ବିଳାପ କରିବେ ନାହିଁ।

16 ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ,

17 ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ ଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ।

18 ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି ଆପଣା ଗୃହ ନିର୍ମାଣ କରେ।

19 ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ; ସେ ଆପଣା ଚକ୍ଷୁ ଫିଟାଏ, ଆଉ ସେ ନ ଥାଏ।

20 ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; ରାତ୍ରିରେ ତୋଫାନ ତାହାକୁ ଅପହରଣ କରି ନିଏ।

21 ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ ଓ ସେ ତାହାକୁ ସ୍ୱସ୍ଥାନରୁ ଝାଡ଼ି ନିଏ।

22 କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ।

23 ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଶ୍‍ ମାରି ତାହାକୁ ସ୍ୱସ୍ଥାନରୁ ଦୂର କରିବେ।