Job 28 in Oriya

1 ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି।

2 ମୃତ୍ତିକାରୁ ଲୁହା କଢ଼ାଯାଏ ଓ ପ୍ରସ୍ତରରୁ ପିତ୍ତଳ ତରଳାଯାଏ।

3 ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ।

4 ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ; ସେମାନେ ନିକଟଗାମୀ ଚରଣ ଦ୍ୱାରା ବିସ୍ମୃତ ହୁଅନ୍ତି; ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି।

5 ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ ଓ ତହିଁର ଅଧୋଭାଗ ଅଗ୍ନି ଦ୍ୱାରା ଲଣ୍ଡଭଣ୍ଡ ହେଲା ପରି ହୁଏ।

6 ତହିଁର ପ୍ରସ୍ତର ନୀଳକାନ୍ତ ମଣିର ସ୍ଥାନ ଓ ତହିଁରେ ସୁବର୍ଣ୍ଣ ରେଣୁ ଥାଏ।

7 କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ;

8 ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି, ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ।

9 ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; ସେ ପର୍ବତଗଣକୁ ସମୂଳେ ଓଲ୍‍ଟାଇ ପକାଏ।

10 ସେ ଶୈଳ ମଧ୍ୟରେ ନାଳ କାଟେ ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ।

11 ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ; ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ।

12 ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ ? ଓ ବୁଦ୍ଧିର ସ୍ଥାନ କାହିଁ ?

13 ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ; କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ।

14 ବାରିଧି କହେ, ତାହା ମୋ'ଠାରେ ନାହିଁ; ପୁଣି, ସମୁଦ୍ର କହେ, ତାହା ମୋ'ଠାରେ ନାହିଁ।

15 ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ, କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ।

16 ଓଫୀର୍‍ର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ, ବହୁମୂଲ୍ୟ ଗୋମେଦକ ଅବା ନୀଳକାନ୍ତ ମଣି ଦ୍ୱାରା ନୁହେଁ।

17 ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ; କିଅବା ଶୁଦ୍ଧ ସ୍ୱର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ।

18 ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ; କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ।

19 କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ, କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ।

20 ତେବେ ଜ୍ଞାନ କେଉଁଠାରୁ ଆସେ ? ଓ ବୁଦ୍ଧିର ସ୍ଥାନ କାହିଁ ?

21 ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି।

22 ବିନାଶ ଓ ମୃତ୍ୟୁୁ କହନ୍ତି, ଆମ୍ଭେମାନେ ସ୍ୱକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ।

23 ପରମେଶ୍ୱର ତହିଁର ପଥ ଜାଣନ୍ତି ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି।

24 କାରଣ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅନାଇ ଓ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥାନ ଦେଖି

25 ବାୟୁର ଓଜନ ନିରୂପଣ କରନ୍ତି ଓ ପରିମାଣ ଦ୍ୱାରା ଜଳ ପରିମିତ କରନ୍ତି।

26 ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ ଓ ମେଘଗର୍ଜ୍ଜନର ବିଦ୍ୟୁତ ପାଇଁ ପଥ ସ୍ଥିର କଲେ;

27 ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ; ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦନ୍ତ କଲେ।

28 ପୁଣି, ସେ ମନୁଷ୍ୟକୁ କହିଲେ, ‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।'”