Job 39 in Oriya

1 ତୁମ୍ଭେ କି ଶୈଳବାସିନୀ ବନ୍ୟ ଛାଗୀର ପ୍ରସବ କାଳ ଜାଣ ? ଅବା ହରିଣୀର ପ୍ରସବରୀତି ନିର୍ଣ୍ଣୟ କରିପାର ?

2 ତୁମ୍ଭେ କି ସେମାନଙ୍କର ଗର୍ଭମାସ ଗଣନା କରିପାର ? ସେମାନଙ୍କର ପ୍ରସବ-ସମୟ କି ତୁମ୍ଭେ ଜାଣ ?

3 ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରି ଆପଣା ଦୁଃଖ ଦୂର କରନ୍ତି।

4 ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି; ସେମାନେ ବାହାରି ଯାଇ ଆସନ୍ତି ନାହିଁ।

5 କିଏ ବନ୍ୟ ଗର୍ଦ୍ଦଭକୁ ସ୍ୱାଧୀନ କରି ଛାଡ଼ି ଦେଇଅଛି ? ଅବା କିଏ ବନ୍ୟ ଗର୍ଦ୍ଦଭର ବନ୍ଧନ ମୁକ୍ତ କରିଅଛି ?

6 ଆମ୍ଭେ ବନକୁ ତାହାର ଗୃହ ଓ ଲବଣଭୂମିକି ତାହାର ନିବାସ ସ୍ଥାନ କରିଅଛୁ।

7 ସେ ନଗରର ଚହଳ ତୁଚ୍ଛ କରେ, କିଅବା ଅଡ଼ାଇବା ଲୋକର ଉଚ୍ଚ ଶବ୍ଦ ଶୁଣେ ନାହିଁ।

8 ପର୍ବତଶ୍ରେଣୀ ତାହାର ଚରାସ୍ଥାନ ଓ ସେ ସର୍ବପ୍ରକାର ସତେଜ ତୃଣାଦି ଅନ୍ଵେଷଣ କରେ।

9 ଅରଣା କି ତୁମ୍ଭର ସେବା କରିବାକୁ ସନ୍ତୁଷ୍ଟ ହେବ ? ଅବା ସେ କି ତୁମ୍ଭ କୁଣ୍ଡ ପାଖରେ ରହିବ ?

10 ତୁମ୍ଭେ କି ଅରଣାକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର ? ଅବା ସେ କି ତୁମ୍ଭ ପଛେ ପଛେ ଉପତ୍ୟକାରେ ମଇ ଦେବ ?

11 ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ୱାସ କରିବ ? ଅବା ତୁମ୍ଭେ କି ଆପଣା କର୍ମ ତାହାକୁ ସମର୍ପଣ କରିବ ?

12 ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବ ଓ ତୁମ୍ଭ ଖଳାର ଶସ୍ୟ ସଂଗ୍ରହ କରିବ ବୋଲି କି ତୁମ୍ଭେ ତାହାଠାରେ ନିର୍ଭର କରିବ ?

13 ଉଷ୍ଟ୍ରପକ୍ଷିଣୀର ପକ୍ଷ ଉଲ୍ଲାସ କରେ; ମାତ୍ର ତାହାର ଡେଣା ଓ ପର କି ସ୍ନେହଶୀଳ ?

14 କାରଣ ସେ ଭୂମିରେ ଆପଣା ଅଣ୍ଡା ଛାଡ଼େ ଓ ଧୂଳିରେ ତାହା ଉଷ୍ଣ କରେ,

15 ଆଉ ପାଦରେ ତାହା ଭଗ୍ନ ଅବା ବନ୍ୟ ପଶୁ ଦ୍ୱାରା ତାହା ଦଳିତ ହେବ ବୋଲି ପାସୋରି ଯାଏ।

16 ତାହାର ଛୁଆମାନେ ତାହାର ନିଜର ନ ଥିଲା ପରି ସେ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୁଏ; ତାହାର ପ୍ରସବବେଦନା ବିଫଳ ହେଲେ ହେଁ ସେ ନିଶ୍ଚିନ୍ତ ଥାଏ;

17 କାରଣ ପରମେଶ୍ୱର ତାହାକୁ ଜ୍ଞାନରହିତ କରିଅଛନ୍ତି, ଅଥବା ସେ ତାହାକୁ ବୁଦ୍ଧି ଦେଇ ନାହାନ୍ତି।

18 ସେ ଉପରକୁ ଉଠିଲେ, ଅଶ୍ୱ ଓ ଅଶ୍ୱାରୋହୀକି ପରିହାସ କରେ।

19 ତୁମ୍ଭେ କି ଅଶ୍ୱକୁ ତାହାର ବିକ୍ରମ ଦେଇଅଛ ? ତୁମ୍ଭେ କି କମ୍ପମାନ କେଶରରେ ତାହାର ଗ୍ରୀବାଦେଶ ଭୂଷିତ କରିଅଛ ?

20 ତୁମ୍ଭେ କି ତାହାକୁ ଫଡ଼ିଙ୍ଗ ପରି କୁଦିବାକୁ ଦେଇଅଛ ? ତାହାର ନାସାଶବ୍ଦର ତେଜ ଭୟାନକ।

21 ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରନ୍ତେ ସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ।

22 ସେ ଭୟକୁ ପରିହାସ କରେ ଓ ଉଦ୍‍ବିଗ୍ନ ହୁଏ ନାହିଁ; କିଅବା ଖଡ଼୍‍ଗ ସମ୍ମୁଖରୁ ଫେରେ ନାହିଁ।

23 ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍‍ଝନ୍‍ ଶବ୍ଦ କରେ।

24 ସେ ପ୍ରଚଣ୍ଡତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ; କିଅବା ଏହା ତୂରୀଶବ୍ଦ ବୋଲି ବିଶ୍ୱାସ କରେ ନାହିଁ।

25 ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ।

26 ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େ ଓ ଦକ୍ଷିଣ ଦିଗକୁ ଆପଣା ପକ୍ଷ ବିସ୍ତାର କରେ ?

27 ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ ଓ ଊର୍ଦ୍ଧ୍ୱରେ ଆପଣା ବସା କରେ ?

28 ସେ ଶୈଳରେ ବାସ କରେ, ସେଠାରେ ତାହାର ବସା, ସେ ଶୈଳାଗ୍ରରେ ଓ ଦୁର୍ଗମ ସ୍ଥାନରେ ଥାଏ।

29 ସେଠାରୁ ସେ ଶିକାର ନିରୀକ୍ଷଣ କରେ; ତାହାର ଚକ୍ଷୁ ଦୂରରୁ ତାହା ଦେଖେ।

30 ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି; ଯେଉଁଠାରେ ହତ ଲୋକ, ସେହିଠାରେ ସେ ଥାଏ।”