John 13 in Oriya

1 ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ।

2 ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,

3 ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଇଶ୍ବରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଇଶ୍ବରଙ୍କ ନିକଟକୁ ଯାଉଅଛନ୍ତି,

4 ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବାହ୍ୟ ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ।

5 ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ।

6 କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋର ପାଦ ଧୋଇ ଦେଉଅଛନ୍ତି ?

7 ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ।

8 ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋର ପାଦ ଧୋଇଦେବେ ନାହିଁ। ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋ' ସହିତ ତୁମ୍ଭର କୌଣସି ଅଂଶ ନାହିଁ।

9 ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ।

10 ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ।

11 କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ।

12 ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପ୍ରତି କ'ଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ ?

13 ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି।

14 ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ।

15 କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି।

16 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ।

17 ଯଦି ତୁମ୍ଭେମାନେ ଏହି ସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ।

18 ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।

19 ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥି ନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି।

20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।

21 ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍‌ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।

22 ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ।

23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ।

24 ଅତଏବ, ଶିମୋନ ପିତର ତାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ।

25 ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ ?

26 ତେଣୁ ଯୀଶୁ ଉତ୍ତର ଦେଲେ, ଯାହା ନିମନ୍ତେ ମୁଁ ଏହି ରୁଟିଖଣ୍ଡକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ। ତହିଁରେ ସେ ସେହି ରୁଟିଖଣ୍ଡକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ।

27 ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା। ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର।

28 କିନ୍ତୁ ସେ କି ଉଦ୍ଦେଶ୍ୟରେ ତାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ।

29 କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାକୁ କହିଲେ ବୋଲି କେହି କେହି ମନେ କଲେ।

30 ରୁଟିଖଣ୍ଡକ ଗ୍ରହଣ କରି ସେ ତତ୍‍କ୍ଷଣାତ୍‍ ବାହାରିଗଲା, ସେତେବେଳେ ରାତ୍ରିକାଳ।

31 ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ୱର ମହିମାନ୍ୱିତ ହେଲେ।

32 ଯଦି ଈଶ୍ୱର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ୱର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ।

33 ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି। ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୂଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି।

34 ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।

35 ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ବାରା ଜ୍ଞାତ ହେବେ।

36 ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି ? ଯୀଶୁ ଉତ୍ତର ଦେଲେ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ।

37 ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି।

38 ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ମୋ' ନିମନ୍ତେ ନିଜ ପ୍ରାଣ ଦେବ ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।