Proverbs 5 in Oriya

1 ହେ ମୋହର ପୁତ୍ର, ମୋ' ଜ୍ଞାନରେ ମନ ଦିଅ; ମୋ' ବୁଦ୍ଧି ପ୍ରତି ତୁମ୍ଭ କାନ ଡେର;

2 ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।

3 ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ।

4 କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ଼୍‍ଗ ତୁଲ୍ୟ ତୀକ୍ଷ୍‍ଣ।

5 ତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇ ଯାଏ; ତାହାର ପାଦ ସିଧା କବରରେ ପଡ଼େ;

6 ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।

7 ଏହେତୁ ହେ ମୋହର ପୁତ୍ରମାନେ, ମୋ' କଥା ଶୁଣ ଏବଂ ମୋ' ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।

8 ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।

9 କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;

10 କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆ ଯିବ;

11 ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,

12 ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା !

13 ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,

14 ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।

15 ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର।

16 ତୁମ୍ଭର ନିର୍ଝର କ'ଣ ବାହାରେ ଏଣେତେଣେ ବିସ୍ତାରିତ ହେବ ? ଓ ରାଜଦାଣ୍ଡରେ କ'ଣ ଜଳସ୍ରୋତ ବହିଯିବ ?

17 ତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ।

18 ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନକାଳର ଭାର୍ଯ୍ୟାଠାରେ ଆମୋଦ କର।

19 ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।

20 ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ ?

21 ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି।

22 ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।

23 ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ବୃଦ୍ଧିରେ ଭ୍ରାନ୍ତ ହେବ।