Psalm 108 in Oriya

1 ଦାଉଦଙ୍କର ଗାନାର୍ଥକ ଗୀତ। ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି।

2 ହେ ନେବଲ ଓ ବୀଣେ, ଜାଗ; ମୁଁ ନିଜେ ଅତି ପ୍ରଭାତରେ ଜାଗିବି।

3 ହେ ସଦାପ୍ରଭୁ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।

4 ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ;

5 ହେ ପରମେଶ୍ୱର, ତୁମ୍ଭେ ଆକାଶମଣ୍ଡଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ।

6 ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ।

7 ପରମେଶ୍ୱର ଆପଣା ପବିତ୍ରତାରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍‍କୋତ ଉପତ୍ୟକା ମାପିବି।

8 ଗିଲୀୟଦ ମୋହର; ମନଃଶି ମୋହର; ଇଫ୍ରୟିମ ମଧ୍ୟ ମୋ' ମସ୍ତକର ଆଶ୍ରୟ; ଯିହୂଦା ମୋହର ରାଜଦଣ୍ଡ।

9 ମୋୟାବ ମୋ' ପ୍ରକ୍ଷାଳନ-ପାତ୍ର; ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି। ପଲେଷ୍ଟୀୟ ଉପରେ ଜୟଧ୍ୱନି କରିବି।

10 କିଏ ମୋତେ ଦୃଢ଼ ନଗରକୁ ଆଣିବ ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି ?”

11 ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ ? ପୁଣି, ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।

12 ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।

13 ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।