Psalm 111 in Oriya

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।

2 ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।

3 ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ।

4 ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।

5 ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ।

6 ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇ ଅଛନ୍ତି।

7 ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ।

8 ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ଓ ସରଳତାରେ ସାଧିତ।

9 ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇ ଅଛନ୍ତି; ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ।

10 ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।