Psalm 118 in Oriya

1 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

2 ଇସ୍ରାଏଲ ଏବେ କହନ୍ତୁ ଯେ, “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।”

3 ହାରୋଣ-ବଂଶ ଏବେ କହନ୍ତୁ ଯେ, “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।”

4 ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।”

5 ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ।

6 ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରି ପାରେ ?

7 ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି।

8 ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।

9 ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।

10 ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।

11 ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।

12 ସେମାନେ ମଧୁମକ୍ଷିକା ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ନିଭି ଯାଇଅଛନ୍ତି; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।

13 ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍‍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ।

14 ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।

15 ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।

16 ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।

17 ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।

18 ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି।

19 ମୋ' ପାଇଁ ଧର୍ମର ଦ୍ୱାରସବୁ ଫିଟାଅ; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।

20 ଏହି ସଦାପ୍ରଭୁଙ୍କ ଦ୍ୱାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ।

21 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି।

22 ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।

23 ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।

24 ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।

25 ହେ ସଦାପ୍ରଭୁ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୁ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର।

26 ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ।

27 ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ।

28 ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।

29 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।