Psalm 146 in Oriya

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର।

2 ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସାଗାନ କରିବି।

3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ।

4 ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଙ୍କଳ୍ପସବୁ ନଷ୍ଟ ହୁଏ।

5 ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;

6 ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;

7 ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।

8 ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।

9 ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି।

10 ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।