Psalm 148 in Oriya

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱସ୍ଥାନରେ ତାହାଙ୍କର ପ୍ରଶଂସା କର।

2 ହେ ତାହାଙ୍କର ଦୂତସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରାସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

4 ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

5 ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ।

6 ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।

7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;

8 ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;

9 ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;

10 ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍‍ଡୀୟମାନ ପକ୍ଷୀଗଣ;

11 ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।

12 ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ;

13 ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।

14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।