Psalm 37 in Oriya

1 ଦାଉଦଙ୍କର ଗୀତ। ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ।

2 କାରଣ ସେମାନେ ଘାସ ପରି ଶୀଘ୍ର କଟା ଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ।

3 ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।

4 ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।

5 ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।

6 ଆଉ, ସେ ଦିପ୍ତୀ ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ।

7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।

8 କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ।

9 କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ।

10 ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟଲୋକ ନ ଥିବ; ତୁମ୍ଭେ ଯତ୍ନପୂର୍ବକ ତାହାର ସ୍ଥାନ ତତ୍ତ୍ୱ କରିବ, ଆଉ ସେ ନ ଥିବ।

11 ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।

12 ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।

13 ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।

14 ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ଼୍‍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି।

15 ସେମାନଙ୍କ ଖଡ଼୍‍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।

16 ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।

17 କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ।

18 ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ।

19 ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।

20 ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।

21 ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।

22 କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ

23 ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।

24 ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।

25 ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।

26 ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ବଂଶ ଆଶୀର୍ବାଦ ପାଆନ୍ତି।

27 ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ।

28 କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍‍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।

29 ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ।

30 ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ।

31 ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ।

32 ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ।

33 ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ।

34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।

35 ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି।

36 ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ୱେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ।

37 ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି।

38 ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ।

39 ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି।

40 ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ।