Psalm 57 in Oriya

1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋ' ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।

2 ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋ' ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି।

3 ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; ସେଲା ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।

4 ମୋ' ପ୍ରାଣ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ଼୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।

5 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।

6 ସେମାନେ ମୋ' ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋ' ପ୍ରାଣ ଅବନତ ହୋଇଅଛି; ସେମାନେ ମୋ' ସମ୍ମୁଖରେ ଗର୍ତ୍ତ ଖୋଳି ଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। ସେଲା

7 ହେ ପରମେଶ୍ୱର, ମୋ' ଚିତ୍ତ ସୁସ୍ଥିର ଅଛି, ମୋ' ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି।

8 ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି।

9 ହେ ପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।

10 କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ।

11 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।