Psalm 69 in Oriya

1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍ ସ୍ୱରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋ' ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି।

2 ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋ' ଉପର ଦେଇ ଯାଉଅଛି।

3 ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।

4 ଅକାରଣରେ ମୋତେ ଘୃଣା କରିବା ଲୋକେ ମୋ' ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।

5 ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ।

6 ହେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ଅନୁସରଣକାରୀମାନେ ମୋ' ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣ-କାରୀମାନେ ମୋ' ଦେଇ ଅପମାନିତ ନ ହେଉନ୍ତୁ।

7 କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋ' ମୁଖ ଆଚ୍ଛାଦନ କରିଅଛି।

8 ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି।

9 କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋ' ଉପରେ ପଡ଼ିଅଛି।

10 ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋ' ନିନ୍ଦାର ବିଷୟ ହେଲା।

11 ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି।

12 ନଗର-ଦ୍ୱାରରେ ବସିବା ଲୋକମାନେ ମୋ' ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।

13 ମାତ୍ର ହେ ସଦାପ୍ରଭୁ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।

14 ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ।

15 ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋ' ଉପରେ ଆପଣା ମୁଖ ବନ୍ଦ ନ କରୁ।

16 ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋ' ପ୍ରତି ଫେର।

17 ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।

18 ମୋ' ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋ' ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।

19 ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି।

20 ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।

21 ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।

22 ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ।

23 ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।

24 ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ।

25 ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ବୁରେ କେହି ବାସ ନ କରୁ।

26 କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି।

27 ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ।

28 ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।

29 ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ୱର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ।

30 ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି।

31 ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ।

32 ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ।

33 କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।

34 ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।

35 କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୂଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।

36 ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।