Psalm 83 in Oriya

1 ଗୀତ, ଆସଫର ଗୀତ। ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।

2 କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି।

3 ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।

4 ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”

5 କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;

6 ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାଏଲୀୟମାନେ, ମୋୟାବ, ହାଗରୀୟମାନେ,

7 ଗବାଲ, ଅମ୍ମୋନ୍‍, ଅମାଲେକ୍‍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।

8 ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟ-ସନ୍ତାନଗଣର ସାହାଯ୍ୟ କରିଅଛନ୍ତି। ସେଲା

9 ମିଦୀୟନ ପ୍ରତି, କିଶୋନ୍‍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।

10 ସେମାନେ ଐନ୍‍ଦୋର୍‍ ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।

11 ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ ଓ ସେବର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲ୍‍ମୁନ୍ନର ସମାନ କର;

12 ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”

13 ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।

14 ଯେଉଁ ଅଗ୍ନି ବନକୁ ଦଗ୍‍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;

15 ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।

16 ହେ ସଦାପ୍ରଭୁ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;

17 ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;

18 ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।