Psalm 9 in Oriya

1 ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍‍-ଲବ୍ବନ୍‍ ସ୍ୱରରେ ଦାଉଦଙ୍କର ଗୀତ। ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି।

2 ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

3 ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି।

4 କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ।

5 ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ।

6 ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।

7 ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।

8 ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।

9 ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;

10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ।

11 ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।

12 କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।

13 ହେ ସଦାପ୍ରଭୁ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋ' ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।

14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନର ଲୋକମାନଙ୍କ ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।

15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।

16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। ହିଗାୟୋନ୍‍, ସେଲା

17 ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ।

18 କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।

19 ହେ ସଦାପ୍ରଭୁ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ।

20 ହେ ସଦାପ୍ରଭୁ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। ସେଲା