Psalm 90 in Oriya

1 ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା। ହେ ପ୍ରଭୁ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।

2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।

3 ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”

4 କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ।

5 ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।

6 ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ।

7 କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।

8 ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।

9 କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।

10 ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ଗର୍ବ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।

11 ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ ?

12 ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।

13 ହେ ସଦାପ୍ରଭୁ, ଫେର; କେତେ କାଳ ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।

14 ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା।

15 ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର।

16 ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।

17 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।